The Topmost

“The eyes believe themselves, the ears believe other people.”

ଆଜି ପଶ୍ଚିମ ଓଡିଶାର ଗଣପର୍ବ ନୂଆଁଖାଇ

ଆଜି ପଶ୍ଚିମ ଓଡିଶାର ଗଣପର୍ବ ନୂଆଁଖାଇ । ଯାହାକୁ ନେଇ ସମଗ୍ର ପଶ୍ଚିମ ଓଡ଼ିଶା ହୋଇ ଉଠିଛି ଉତ୍ସବମୁଖର । ଏହି ଗଣପର୍ବ ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ବାହାରେ କାମ କରୁଥିବା ଲୋକେ, ପାଠ ପଢ଼ୁଥିବା ଛାତ୍ରଛାତ୍ରୀ ନିଜ ନିଜ ଘରେ ଆସି ପହଞ୍ଚିଛନ୍ତି । ତେବେ ଆଜି ପୂର୍ବାହ୍ନ ୧୦ଟା ୫୬ରୁ ୧୧ଟା ୧୦ ମଧ୍ୟରେ ତୁଳା ଲଗ୍ନେ ମିଥୁନ ନବାଂଶେ ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ଜଗତ୍‌ଜନନୀ ମାଆ ସମଲେଶ୍ବରୀଙ୍କଠାରେ ନବାନ୍ନ ଭୋଗ ଲାଗି ହେବ । ସେହିପରି ପାଟଣାଗଡ଼ରେ ମାଆ ପାଟଣେଶ୍ବରୀ, ବଲାଙ୍ଗୀର, ବରଗଡ଼, ସୁନ୍ଦରଗଡ଼, ସାରଂଗଡ଼ରେ ମାଆ ସମଲେଶ୍ବରୀ,ସୋନପୁରରେ ମାଆ ସୁରେଶ୍ବରୀଙ୍କ ଠାରେ ପୂର୍ବ ନିର୍ଧାରିତ ଲଗ୍ନ ଅନୁଯାୟୀ ନୂଆ ଚାଉଳରେ ପ୍ରସ୍ତୁତ ଭୋଗ ଲଗାଯିବ । ସମସ୍ତ ସହର ଓ ଗାଁରେ ସେଠାକାର ଅଧିଷ୍ଠିତ ଦେବାଦେବୀଙ୍କୁ ପ୍ରଥମେ ନବାନ୍ନ ଭୋଗ ଲାଗି କରାଯିବ । ଏହାପରେ ପ୍ରତି ପରିବାରରେ ନିଜ ନିଜ ଇଷ୍ଟ ଦେବାଦେବୀଙ୍କୁ ନୂଆ ଭୋଗ ଲଗାଇବେ । ଚାଷୀମାନେ ନିଜ କ୍ଷେତକୁ ଯାଇ ପୂଜା କରିବେ । ଶେଷରେ ପରିବାରର ସମସ୍ତ ସଦସ୍ୟ ଏକାଠି ବସି ନୂଆଁ ଅନ୍ନ ଖାଇବାର ପରମ୍ପରା ରହିଛି ।